ଭୁବନେଶ୍ୱର: ରାଜ୍ୟର ସଂସ୍କୃତି, ରାଜନୀତି, ଶିକ୍ଷା, ଇତିହାସ, ଅର୍ଥନୀତି ସବୁକ୍ଷେତ୍ରରେ ସମ୍ବଲପୁରର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସମ୍ବଲପୁରୀ ଶାଢୀ, ସମ୍ବଲପୁରୀ ଗୀତ ଓଡିଶାର ମହାନ ସଂସ୍କୃତିର ପରିଚୟ ବୋଲି ଆଜି କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କାଳରେ କହିଛନ୍ତି । ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା ପାଇବେ । କୁଚିଣ୍ଡାର ସରସ୍ବତୀ ଭୋଇ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ କାର୍ଡ଼ ଗ୍ରହଣ କରିଛନ୍ତି । ସମ୍ବଲପୁର ସହିତ ରାଜ୍ୟର ୮ଟି ଜିଲ୍ଲା କାର୍ୟ୍ୟକ୍ରମରେ ସାମିଲ ହେଲା।
ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି, ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟା ଭୋଗୁଛନ୍ତି । ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ଦୁଃଖିତ । ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ୟ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।
ସଡକ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ହେଉଥିବା ସଂପର୍କରେ ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇ ହେବ । ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ।
ମୁଖ୍ୟମନ୍ତ୍ରୀ ଆଜି ସମ୍ବଲପୁରରେ ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି । ଏଥିରୁ ୩୫୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଉଛନ୍ତି । ଆଜି ସମ୍ବଲପୁରରେ ପିଇବା ପାଣି ପାଇଁ ୧୦୦୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି । ଗାଁ ଓ ସହର ସବୁ ପରିବାର ପାଖରେ ପିଇବା ପାଣି ପହଞ୍ଚିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୨୦୨୨ରେ ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
previous post
next post