ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହାର ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା (Contingency Crop Plan) କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକ୍ରେ ବର୍ଷାର ଅଭାବ ଦେଖାଦେଇଛି, ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସଂପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି। ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡିକରେ ଜଳପ୍ରବାହ ଏବଂ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡିକ ମଧ୍ୟରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଚାଷୀ ମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ବିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀ ମାନଙ୍କୁ ଡିଜେଲ ପମ୍ଫସେଟ୍ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ଚାଷୀ ମାନଙ୍କ ଜମିକୁ ଜଳଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ (Farm Pond) ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ସମସ୍ତ ଉଠାଜଳସେଚନ ପଏଣ୍ଟ ଗୁଡିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକ ମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ recharging ପାଇଁ ପଦକ୍ଷେପ ନେବାକୁ ଜଳସଂପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ।
ଜନସାଧାରଣ ଓ ପ୍ରାଣୀସଂପଦ ମାନଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
କଳାହଣ୍ଡି, ସୁନ୍ଦରଗଡ, ଅନୁଗୁଳ ଓ ରାୟଗଡା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସଂପର୍କରେ ସୂଚନା ଦେଇ କହିଥିଲେ ଯେ ସେପ୍ଟେମ୍ବର ମାସରେ ସ୍ବଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି । ବୈଠକରେ ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।
