(ଭୁବନେଶ୍ୱର) : ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି ବିଶେଷକରି ଦକ୍ଷିଣ ଓଡ଼ିଶାର ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଆଜି ବର୍ଷା ହୋଇଯାଇଛି। ଆସନ୍ତାକାଲି ରାଜ୍ୟର ଆଉ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗ କହିବାନୁଯାୟୀ ୨୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେପଟେ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ମଧ୍ୟ ରହିଛି।