(ଭୁବନେଶ୍ୱର) : ଲଗାତାର ଭାବେ ଆସୁଛି ଦୁଇ ଦୁଇଟି ଲଘୁଚାପ । ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ୨୫ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସୂଚନାନୁଯାୟୀ , ମାଲକାନଗିରି, ନବରଙ୍ଗପୁର, ନୂଆପଡା, କନ୍ଧମାଳ , ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ଏବଂ କଳାହାଣ୍ଡି ଜିଲ୍ଲାରେ କିଛି ସ୍ଥାନରେ ହାଲୁକାରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୨୫ ତାରିଖରେ ୨୨ଟି ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧୪.୨ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୯.୯ ମିମି ତୁଳନାରେ ୪୪ ପ୍ରତିଶତ ଅଧିକ ରହିଛି ।
