(ଭୁବନେଶ୍ୱର) : ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୯ ସେପ୍ଟେମ୍ବର, ମଙ୍ଗଳବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ଧରଣର ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
