(ଭୁବନେଶ୍ୱର) : ୨୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପ୍ରାରମ୍ଭିକ ଆକଳନରୁ ଜଣାପଡ଼ିଛି।
ସୂଚନାନୁଯାୟୀ , ଅନ୍ୟପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ। ଶୀତ ବଢ଼ିବାର ସମ୍ଭାବନା ମଧ୍ୟ ନଥିବାର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତାକାଲି ୨୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୭ ତାରିଖରେ କେନ୍ଦ୍ରୀୟ ଦକ୍ଷିଣ ବଙ୍ଗୋପସାଗରରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ୨୮ ତାରିଖରେ ଅବପାତ ଓ ୩୦ ତାରିଖରେ ବାତ୍ୟା ସୃଷ୍ଟି କରିପାରେ। ଡିସେମ୍ବର ୨ରେ କିଛି ଉତ୍ତର-ପୂର୍ବକୁ ଗତି କରି ୨ ତାରିଖ ବାଂଲାଦେଶ ଦକ୍ଷିଣ ଉପକୂଳରେ ସ୍ପର୍ଶ କରିପାରେ।
