(ଭୁବନେଶ୍ୱର) :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଜନଶୁଣାଣି ପ୍ରସ୍ତାବକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକର ଚାପମାଣିକ, ରେବଣା-ନୂଆଗାଁ, ବଡ ଦିଆଣ୍ଡି ଗ୍ରାମପଞ୍ଚାୟତ, କୃଷ୍ଣପ୍ରସାଦ ବ୍ଲକର ନୂଆପଡା ଓ ବଡନଳା ଗ୍ରାମପଞ୍ଚାୟତ, କଣାସ ବ୍ଲକର ବିଜିପୁର ଗ୍ରାମପଞ୍ଚାୟତ ଓ ପୁରୀ ସଦର ବ୍ଲକର ରାଇଗୋରଡ଼ା ଆଦି ଗ୍ରାମପଞ୍ଚାୟତମାନଙ୍କରେ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପ୍ରତ୍ୟେକ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ।
ସୂଚନାନୁଯାୟୀ , ସମୁଦ୍ର ଉପକୂଳବର୍ତ୍ତୀ ପୁରୀ ଜିଲ୍ଲା ଏକ ବାତ୍ୟାପ୍ରବଣ ଜିଲ୍ଲା। ଉପରୋକ୍ତ ୭ଟି ଗ୍ରାମପଞ୍ଚାୟତ ସମେତ ପ୍ରସ୍ତାବ ଆସିଥିବା ଜିଲ୍ଲାର ଅନ୍ୟ ସ୍ଥାନମାନଙ୍କରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।