(ବରଗଡ଼) : ଆଜି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୟରେ ଟୁକୁର୍ଲା ଠାରେ ମୁଖ୍ୟ ଚିକିତ୍ସାଳୟ ପରିସରରେ ନବ ନିର୍ମିତ କ୍ୟାନସର୍ ହସ୍ପିଟାଲର ଉଦଘାଟନ କରିବେ । ଏହାସହ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଉଦଘାଟନ ମଧ୍ୟ କରିବେ । ଏହାବାଦ୍ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ପରେ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।
ସୂଚନାନୁଯାୟୀ , ଏଥିପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଭୁବନେଶ୍ୱରରୁ ହେଲିକ୍ୟାପ୍ଟର ଯୋଗେ ବାହାରି ମୁଖ୍ୟମନ୍ତ୍ରୀ ଦିନ ୧୧.୫୦ମିନିଟରେ ସେ ବିଜେପୁର ବ୍ଲକ କନାପାଳି ଠାରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବେ । ଏହାପରେ କନାପାଲି ପମ୍ପ ହାଉସ ପରିଦର୍ଶନ କରି ଆୟୋଜିତ ସଭାରେ ସାମିଲ ହେବେ । ଗସ୍ତ ଅବସରରେ ବରଗଡ ଜିଲ୍ଲାର ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଉଦଘାଟନ ସହ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲର ଲୋକାର୍ପଣ କରିବେ । ସେହିପରି ୨୬୩ କୋଟି ୩୩ଲକ୍ଷ ୧୮ହଜାର ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୨୧ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ ନବୀନ ପଟ୍ଟନାୟକ ।