(ପୁରୀ) : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପ୍ରାୟତଃ ୩ ରୁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏହି ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ସୂଚନାନୁଯାୟୀ , ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି । ଏହି ନୀତି ପାଇଁ ୩ରୁ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।
