(ପୁରୀ) : ଆସନ୍ତାକାଲି ଅର୍ଥାତ ବୁଧବାର ଦିନ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ଜଗା ଦର୍ଶନ । ରାତି 9 ଟା ପରେ ଦର୍ଶନ ମିଳିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାନୁଯାୟୀ , ଏହି ନୀତି ପାଇଁ ଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ । ପ୍ରତି ଗୁରୁବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି ରହିଛି ।