କଟକ: ହାଇକୋର୍ଟରେ ସତ୍ୟପାଠ ଦାଖଲ ରାଜ୍ୟରେ ହାତୀ ମୃତ୍ୟୁ ସମ୍ପର୍କିତ ମାମଲାରେ ଜଏଣ୍ଟ ଟାସ୍କ ଫୋର୍ସ ପକ୍ଷରୁ । ଆସନ୍ତା ୧୫ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଜଏଣ୍ଟ ଟାସ୍କ ଫୋର୍ସର ସମସ୍ତ ସଦସ୍ୟ ପରବର୍ତ୍ତୀ ଶୁଣାଣିରେ ଭିଡ଼ିଓ କନଫରେନ୍ସରେ ଉପସ୍ଥିତ ରହିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ହାତୀଙ୍କ ସୁରକ୍ଷା ନେଇ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି । ମାତ୍ର ଥମୁନି ହାତୀ ମୃତ୍ୟୁ । ହାତୀ ସୁରକ୍ଷା ସମ୍ପର୍କିତ ମାମଲାର ଶୁଣାଣି କରି ସତ୍ୟପାଠ ମାଧ୍ୟମରେ ରିପୋର୍ଟ ଦାଖଲ କରିବାକୁ ପୂର୍ବ ଶୁଣାଣିରେ କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ହାତୀ ମୃତ୍ୟୁ ଘଟଣାରେ କେତେଗୋଟି ଫୌଜଦାରୀ ମାମଲା ରୁଜୁ କରାଯାଇଛି, କେତେ ଜଣଙ୍କୁ ଏହି ମାମଲାରେ ଗିରଫ କରାଯାଇଛି ଏବଂ ଗିରଫ ପରେ ମାମଲାର କଣ ଅଗ୍ରଗତି କରାଯାଇଛି ସେନେଇ ସତ୍ୟପାଠ ମାଧ୍ୟମରେ ଅବଗତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।
ରାଜ୍ୟ ସରକାର ଗଠନ କରିଥିବା ଜଏଣ୍ଟ ଟାକ୍ସଫୋର୍ସର ଅତିରିକ୍ତ ଏସ୍ପିଙ୍କୁ ସତ୍ୟପାଠ ଦେବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ବିଶେଷକରି ହାତୀ ମୃତ୍ୟୁ ରୋକିବା ପାଇଁ କେଉଁ ପ୍ଲାନ ଗଠନ କରାଯାଇଛି ସେନେଇ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।ହାତୀ ଶିକାର ଘଟଣାରେ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଉଥିବା ପଦକ୍ଷେପକୁ ନେଇ ହାଇକୋର୍ଟ ପୂର୍ବରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ । ମାମଲାରେ ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ଦାଖଲ କରିଥିବା ସତ୍ୟପାଠରେ ଗତ ୫ ବର୍ଷରେ ହାତୀ ଶିକାର ନେଇ ୧୪ଟି ମାମଲା ରୁଜୁ ହୋଇଥିବା ଦର୍ଶାଯାଇଥିଲା । ଏଥିରୁ ମାତ୍ର ଗୋଟିଏ ମାମଲାରେ ଅଦାଲତରେ ଟ୍ରାଏଲ ଆରମ୍ଭ ହୋଇଥିବା ସତ୍ୟପାଠରୁ ସ୍ପଷ୍ଟ ହୋଇଥିଲା । ଏହି ପ୍ରସଙ୍ଗକୁ ନେଇ ରୁଜୁ ହୋଇଥିବା ମାମଲା ଗୁଡିକର ଅଗ୍ରଗତି ସନ୍ତୋଷଜନକ ନୁହେଁ ବୋଲି ହାଇକୋର୍ଟ ପୂର୍ବରୁ କହିଥିଲେ ।ସତ୍ୟପାଠରେ ଉଲ୍ଲେଖ କରାଯାଇଥିବା ଏହି ସବୁ ମାମଲାରେ ଗିରଫ ଅଭିଯୁକ୍ତମାନେ ଏବେ ଜେଲରେ ଅଛନ୍ତି ନା ଜାମିନ ପାଇଛନ୍ତି ସେନେଇ ହାଇକୋର୍ଟ ଜାଣିବାକୁ ଚାହିଁଥିଲେ । କିନ୍ତୁ ଅଭିଯୁକ୍ତଙ୍କ ଜାମିନ ପ୍ରସଙ୍ଗରେ ରାଜ୍ୟ ସରକାର ଜବାବ ରଖି ପାରି ନଥିଲେ ।
ଏଥିସହିତ ଗୁଳିମାଡରେ ହାତୀ ମୃତ୍ୟୁ ମାମଲାରେ ବେଆଇନ ବନ୍ଧୁକ ବ୍ୟବହାର ହେଉଥିଲେ ମଧ୍ୟ ଆର୍ମସ୍ ଆକ୍ଟରେ କାହିଁକି ଗୋଟିଏ ବି ମାମଲା ରୁଜୁ ହୋଇ ନାହିଁ ତାହା ମଧ୍ୟ ବନ ବିଭାଗ ତରଫରୁ କୌଣସି ସନ୍ତୋଷଜନକ ଜବାବ ମିଳିନଥିଲା । ଏଭଳି ସ୍ଥିତିରେ ହାଇକୋର୍ଟ କହିଥିଲେ ଯେ ରାଜ୍ୟରେ ବିଗତ କିଛି ଦିନରେ ହାତୀ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଚିନ୍ତାଜନକ ବିଷୟ ।ପରିସ୍ଥିତିର ମୁକାବିଲା ପାଇଁ ପଦକ୍ଷେପ ନିଆଯିବା ଉଚିତ । ବହୁ କ୍ଷେତ୍ରରେ ବନ୍ଧୁକ ଗୁଳିରେ ହାତୀ ମୃତାହତ ହେଉଥିବା ଦେଖା ଯାଉଥିବା ବେଳେ ଆଶ୍ଚର୍ୟ୍ୟଜନକ ଭାବେ ଆର୍ମସ୍ ଆକ୍ଟ କିନ୍ତୁ ମାମଲାରେ ପ୍ରୟୋଗ କରାଯାଉ ନାହିଁ ବୋଲି ହାଇକୋର୍ଟ କହିଥିଲେ । ବନ୍ୟପ୍ରାଣୀ ସୁରକ୍ଷା ଆଇନ ଏବଂ ଆର୍ମସ୍ ଆକ୍ଟ ସମେତ ଅନ୍ୟ ଆଇନ କଡ଼ାକଡ଼ି କାର୍ୟ୍ୟକାରୀ ପାଇଁ ଆଇନ କାର୍ୟ୍ୟକାରୀ ବ୍ୟବସ୍ଥାକୁ ସକ୍ରିୟ କରିବାକୁ ଉଦ୍ୟମ କରାଯିବା ଆବଶ୍ୟକ ।
