(ଭୁବନେଶ୍ୱର) : ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ଭାରତ ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ରାଜ୍ୟର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କ ସହ ଭୁବନେଶ୍ୱରସ୍ଥ ଖାରବେଳ ଭବନ ସମ୍ମିଳନୀ କକ୍ଷରେ ଦୁଇଦିନ ଧରି ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା ।
ସୂଚନାନୁଯାୟୀ , ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧୁକାରୀମାନେ ସଂପୂର୍ଣ୍ଣ ଭାବେ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟ ଓ ନିର୍ବାଚନ ପ୍ରସ୍ତୁତି ସ୍ଥିତି ସଂପର୍କରେ ପିପିଟି ମାଧ୍ଯମରେ ଦର୍ଶାଇଥିଲେ । ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଦ୍ୱୟ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ତାଲିକାରେ ଯୋଗଦେବା ନିମନ୍ତେ ଫର୍ମ, ତାଲିକାରୁ ବାଦ ଓ ତାଲିକାରୁ ତ୍ରୁଟି ସଂଶୋଧନ ନିମନ୍ତେ ଥିବା ବାକିଆ ଫର୍ମଗୁଡ଼ିକୁ ଯଥାଶୀଘ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏମାନଙ୍କ ବ୍ୟତିତ ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ମହିଳା, ଯୁବ, ବରିଷ୍ଠ, ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗ ଏବଂ ପ୍ରାଚୀନ ଜନଜାତି ଗୋଷ୍ଠୀ (ପି.ଭି.ଟି.ଜି) ନିର୍ବାଚକମାନଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ।