(ଭୁବନେଶ୍ୱର) : ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସୂଚନାନୁଯାୟୀ , କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ଖୋର୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି। ସେହିଭଳି ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୬ ତାରିଖଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କିଛି ମାତ୍ରାରେ କମିପାରେ। ସେ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଗଞ୍ଜାମ, ଗଜପତି, ରାୟଗଡ଼ା, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଧା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।