ଭୁବନେଶ୍ୱର: ୫ ଜିଲ୍ଲାକୁ କାଳବୈଶାଖୀ ୱାର୍ଣ୍ଣିଂ । ଆସନ୍ତା କାଲି ସକାଳ ସାଢେ ୮ ଟା ଯାଏଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।
ପାଣିପାଗ ବିଭାଗ ଅନୁଯାୟୀ, ଶନିବାର ଖୋର୍ଦ୍ଧା, ନୟାଗଡ଼, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କୋରାପୁଟ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ଘଡଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଞ୍ଜନ, କନ୍ଧମାଳ, ଅନୁଗୋଳ ଓ ବୌଦ୍ଧ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ରବିବାର ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ଆଶଙ୍କା ରହିଛି। ସେଥିପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
