ଆଜି ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି । ଓଡ଼ିଆ ନୂଆ ବର୍ଷ ଭାବରେ ଆଜିର ଦିନକୁ ଅର୍ଥାତ ଏପ୍ରିଲ ୧୪ଦିନ ପାଳନ କରାଯାଏ । ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ । ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ ।
ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ ।
